ପତ୍ନୀ ଓ ପୁଅ ସହ ବୁଲିବାକୁ ଯାଇଥିଲେ ଜମ୍ମୁ କଶ୍ମୀର
ବାଲେଶ୍ବର: ଜମ୍ମୁ କଶ୍ମୀରର ପହଲଗାମରେ ଆଜି ଅପରାହ୍ଣରେ ଘଟିଥିବା ଆତଙ୍କବାଦୀଙ୍କ ଗୁଳିମାଡ଼ର ଶିକାର ହୋଇଛନ୍ତି ଜଣେ ଓଡ଼ିଆ ପର୍ଯ୍ୟଟକ। ବାଲେଶ୍ବର ସଦର ବ୍ଲକ ସାରଗାଁ ଗ୍ରାମପଞ୍ଚାୟତର ସରପଞ୍ଚଙ୍କ ଦିଅର ପ୍ରଶାନ୍ତ ଶତପଥୀ ଆତଙ୍କବାଦୀଙ୍କ ଦ୍ବାରା କରାଯାଇଥିବା ଗୁଳିମାଡ଼ର ଶିକାର ହୋଇ ମୃତ୍ୟୁବରଣ କରିଛନ୍ତି। ସେ ଗତ ୧୯ ତାରିଖ ଦିନ ପତ୍ନୀ ପ୍ରିୟଦର୍ଶିନୀ ଆଚାର୍ଯ୍ୟ ଓ ପୁଅ ତନୁଜଙ୍କୁ ନେଇ ଜମ୍ମୁ କଶ୍ମୀର ବୁଲିବାକୁ ଯାଇଥିଲେ। ଆଜି ସେଠାରେ ପୁଅ ଓ ପତ୍ନୀଙ୍କ ସହିତ ବୁଲୁଥିବା ବେଳେ ଆତଙ୍କବାଦୀମାନେ ପର୍ଯ୍ୟଟକମାନଙ୍କ ଉପରେ ଅତର୍କିତ ଭାବେ ଗୁଳି ଚଳାଇଥିଲେ। ପ୍ରଶାନ୍ତଙ୍କ ମୃତ୍ୟୁ ନେଇ ଜମ୍ମୁ କଶ୍ମୀର ଅନନ୍ତନାଗ ପୁଲିସ ସ୍ପଷ୍ଟ କରିଛି। ବାଲେଶ୍ବର ସିପେଟ୍ରେ ପ୍ରଶାନ୍ତ ଶତପଥୀ ଆକାଉଣ୍ଟାଣ୍ଟ ଅଛନ୍ତି। ଆତଙ୍କବାଦୀଙ୍କ ଆକ୍ରମଣ ନେଇ ପ୍ରିୟଦର୍ଶିନୀ ଗଣମାଧ୍ୟମକୁ କହିଛନ୍ତି, ଆଜି ଅପରାହ୍ଣ ପ୍ରାୟ ସାଢ଼େ ୨ଟାରୁ ୩ଟା ଭିତରେ ସେମାନେ ପହଲଗାମରେ ବୁଲୁଥିଲେ। ଏହି ସମୟରେ ଆତଙ୍କବାଦୀମାନେ ଗୁଳିମାଡ଼ କରିଥିଲେ। ଆତଙ୍କବାଦୀଙ୍କର ଗୁଳି ମୋ ସ୍ବାମୀଙ୍କ ମୁଣ୍ଡରେ ବାଜିଥିଲା। ସହାୟତା ପାଇଁ ଚିତ୍କାର କରୁଥିଲି। ପ୍ରାୟ ଦେଢ଼ ଘଣ୍ଟା ପରେ ଘଟଣାସ୍ଥଳରେ ଯବାନମାନେ ପହଞ୍ଚି ଥିଲେ। ମୋ ସ୍ବାମୀଙ୍କୁ ଚିକିତ୍ସା ପାଇଁ ନେଇଯାଇଥିଲେ। ମୋର ମୋବାଇଲ ନମ୍ବର ନେଇଛନ୍ତି।