ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ପ୍ରବଳ ବର୍ଷା ହୋଇଛି। ଆଜି ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ସକ୍ରିୟ ଥିବାରୁ ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଆଜି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଂଜ ଆଲର୍ଟ ଜାରି କରାଯାଇଛି।
ସୋନପୁର, ନୂଆପଡ଼ା, ବଲାଙ୍ଗିର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୮ ଜିଲ୍ଲାକୁ ସାମାନ୍ୟରୁ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ଏହି ସବୁ ଜିଲ୍ଲା ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ପୁରୀ, ଖୋରଧା, ନୟାଗଡ଼ । ୫ ଜିଲ୍ଲାକୁ ବର୍ଷା ନେଇ କୌଣସି ଆଲର୍ଟ ଜାରି କରାଯାଇନାହିଁ।
ସେହିପରି ଆସନ୍ତାକାଲି ମଧ୍ୟ ପଶ୍ଚିମ ଓଡ଼ିଶାର ୧୨ ଜିଲ୍ଲାକୁ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।














